କନ୍ଧମାଳ ସନ୍ତାନ

Breaking News

କୋଭିଡ ମୁକାବିଲା: ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର, ତାଲିମ ନେବେ ୧୧୧୪ ଡାକ୍ତର….

-ଶିଶୁ ମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ I
-ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର,
ତାଲିମ ନେବେ ୧୧୧୪ ଡାକ୍ତର I
-ଦୈନିକ ଟିକାଦାନକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ I
-କମ୍ ସକ୍ରମଣ ହାର ଥିବା ଜିଲ୍ଲା ରେ ଅନ୍ ଲକ୍ ପ୍ରକ୍ରିୟା ଆରମ୍ଭ ବିଷୟ ସରକାର ବିଚାର କରୁଛନ୍ତି : ମୁଖ୍ୟମନ୍ତ୍ରୀ
ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ I ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ କରିଥିଲେ I ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଥିଲେ I ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି I ଏହା ସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ I
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ବିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ I ତା ସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ I ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି I
କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ I ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ I ତୃତୀୟ ଲହର ପାଇଁ ଗଠିତ Technical Task force committeeର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି I ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ସେହିପରି Black Fungus ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ I ରାଜ୍ୟରେ ଅକ୍‌ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍‌ଧତାରେ ଉନ୍ନତି ଘଟିଛି ବୋଲି କହିଥିଲେ I
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି I କିନ୍ତୁ ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‌-ଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ I
ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନ ଥିବା ଆଶ୍ବସ୍ତିର ବିଷୟ I ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ICU ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍‌ ଉପରେ ଚାପ ହ୍ରାସ ପାଇଛି I ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ I
କୋଭିଡର ସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପି.କେ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି I ରାଜ୍ୟରେ ଅକ୍‌ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି I ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ I ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation Bed, ୬୧୦ ICU Bed ପ୍ରସ୍ତୁତ ରଖାଯାଇଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ । ଏହାସହିତ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ I
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ବର ଓ କଟକ ମୁନିସ୍‌ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି I ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ I
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ ।

Related news

Skip to toolbar