କନ୍ଧମାଳ ସନ୍ତାନ

Breaking News

ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ୬ କୋଟି, ୪ କୋଟି ଓ ୨.୫ କୋଟି….

କନ୍ଧମାଳ ସନ୍ତାନ(ବ୍ୟୁର): ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ I

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ I ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ, ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲମଡେଲ ପାଲଟିଯାଇଛ I ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ I
ଏହି ଅବସରରେ ଅଲମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଥିଲେ I ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ I ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଥିଲେ I

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ I

ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ I

ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ I

କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ I

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ I

Related news

Skip to toolbar