କନ୍ଧମାଳ ସନ୍ତାନ

Breaking News

ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା- ମୁଖ୍ୟମନ୍ତ୍ରୀ

-ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା, ଆପଣଙ୍କ ସହାୟତା
ଆମକୁ ବଞ୍ଚିବାର ରାହା ଦେଇଛି – ନିର୍ମାଣ ଶ୍ରମିକ

-ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ

-୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି

କନ୍ଧମାଳ ସନ୍ତାନ(ବ୍ୟୁର) :ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି I ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି I ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ I ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା I
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ I ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ I ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି I ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି I ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି I ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି I ରାସ୍ତା, ସେତୁ ଆଦି କରନ୍ତି I ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ I ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ I
ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ I ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା I ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବର ରାହା ଦେଇଛି I ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ I ତା ସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ I ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ I
କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ I
ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି I
ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ I
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I
ବିଭାଗୀୟ ସଚିବ ଚିତ୍ରା ଅର୍‌ମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ I
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ I
ସାରା ରାଜ୍ୟର ୩୧୪ ବ୍ଲକର ନିର୍ମାଣ ଶ୍ରମିକମାନେ ଭିଡ଼ିଓ କନ୍ ଫରେନସ ଜରିଆରେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ I

Related news

Skip to toolbar